ଦଶମୂଳ ସେବନ ପରେ ଚକା ବିଜେ କରିବେ ମହାପ୍ରଭୁ।

ଆଜି ଅଣସର ଦଶମୀ ତିଥି ରେ ଶ୍ରୀଜିଉ ମାନଙ୍କୁ ଦଶମୂଳ ମୋଦକ ଲାଗି ହୋଇ ସାରିବା ପରେ ଚକା ବିଜେ ହେବେ ଶ୍ରୀ ମହାପ୍ରଭୁ l ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ ଶ୍ରୀଜୀଉ ଙ୍କ ନିମନ୍ତେ ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ l ଏହା ଏକାଦଶୀ ଦିନ ଶ୍ରୀଜୀଉ ଙ୍କ ପାଖେ ସମର୍ପଣ ହୋଇଥାଏ l ଶ୍ରୀମନ୍ଦିର ର ରାଜବୈଦ୍ୟ ସେବକ ମାନେ ପୁରୁଷାନୁକ୍ରମେ ମହାପ୍ରଭୁଙ୍କ ଏହି ସେବା କରିଥାନ୍ତି l ଏହି ମହୌଷଧି ପ୍ରସ୍ତୁତି ନିମନ୍ତେ –
ଶାଳପନ୍ନି , ଗମ୍ଭାରୀ , ଫଣଫଣା , କୃଷ୍ଣ ପନ୍ନି , ଅଗବଥୁ , ବେଲ , ଅଙ୍କରାନ୍ତି , ଗୋଖରା ,ଲବିଂ କୋଳି , ନବାଙ୍କୁରୀ କୁ ପ୍ରଥମେ ଶୁଖା ଯାଇଥାଏ l ପରେ ଏହାକୁ କୁଟା ଯାଇ ଗୁଣ୍ଡ କରାଯାଇଥାଏ l ଏହି ଗୁଣ୍ଡ କୁ ଗାମୁଛାରେ ଛାଣି ନୂତନ କାଠ ଚୁଲିରେ କଡେଇ ବସଯାଇ ଖୁଆ , ଶର୍କରା , ସର , ମହୁ , ଘିଅ , ଭାଙ୍ଗ ଆଦି ପକାଯାଇ ଏହାକୁ ପାଗ କରାଯାଏ l ପାଗ ପରେ ଏହାକୁ କଦଳୀ ପତ୍ର ଉପରେ ରଖି ଥଣ୍ଡା କରାଯାଇଥାଏ l ଥଣ୍ଡା ହେଲା ପରେ ଏହାକୁ ଗୋଲାକାର ମୋଦକ କରି ୩ଟି କୁଡୁଆ ରେ ରଖା ଯାଇଥାଏ l ଏହା ଉପରେ କର୍ପୂର ଦେଇ ତାଳପତ୍ର ଭୋଗେଇରେ ରଖି ଶ୍ରୀମନ୍ଦିର ଗାରଦ ରେ ଦାଖଲ କରାଯାଇଥାଏ l
ନୀଳାଦ୍ରି ମହୋଦୟ ଶାସ୍ତ୍ରରେ ମହାପ୍ରଭୁଙ୍କ ଅଣସର କାଳୀନ ଗୋପନ ସେବା ସଂପର୍କରେ ରହିଥିବା ମାର୍ଗ ଦର୍ଶକ ମୁତାବକ, ବିଶ୍ୱାବସୁ ତଥା ବିଦ୍ୟାପତି ବଂଶଧାରମାନେ ଶ୍ରୀଅଙ୍ଗ ସେବାରେ ଲାଗିବେ l ଏହି ସେବା ପାଇଁ ବିଭିନ୍ନ ପ୍ରକାରର ଚେରମୂଳିରୁ ପ୍ରସ୍ତୁତ ଔଷଧ ପ୍ରସ୍ତୁତ କରାଯାଇଛି l ସେଥିମଧ୍ୟରୁ ଗୁରୁତ୍ୱପୂର୍ଣ୍ଣ ହେଉଛି ବଡଓଡିଆ ମଠରୁ ଆସିଥିବା ଫୁଲୁରି ତେଲ ଓ ଶୁଦ୍ଧସୁଆର ସେବକମାନେ ଯୋଗାଇଥିବା ଓଷୁଅ ବା ଖଳି l

ଆର୍ୟୁବେଦ ଶାସ୍ତ୍ର ଉପରେ କାହିଁକି ଭରସା କରନ୍ତି ମହାପ୍ରଭୁ?

        ସ୍ନାନ ପୂର୍ଣ୍ଣମୀ ଦିନ ସର୍ବାଙ୍ଗ ସ୍ନାନ ପରେ ଅସୁସ୍ଥ ହୋଇ ପଡିଥିବା ମହାପ୍ରଭୁଙ୍କୁ ସମ୍ପୂର୍ଣ୍ଣ ସୁସ୍ଥ କରିବା ଲାଗି ଦଶମୂଳ ମହୌଷଧି ଲାଗି କରାଯାଏ l ପବିତ୍ର ଏକାଦଶୀ ତିଥି ଅବସରରେ ବିଳମ୍ୱିତ ରାତିରେ ଶ୍ରୀମନ୍ଦିର ବୈଦ୍ୟଙ୍କ ପରାମର୍ଶ କ୍ରମେ ପତି ମହାପାତ୍ର ସେବକ ଏହାକୁ ଲାଗି କରିବେ lଏହି ମହୌଷଧି ଶ୍ରୀ ଅଙ୍ଗରେ ଉପଚାର କରାଯିବା ପରେ ଜ୍ୱରରେ କମ୍ପୁଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ l ଏଥିସହିତ ମହାପ୍ରଭୁଙ୍କ ସର୍ବାଙ୍ଗ ଚନ୍ଦନ ଲାଗି ନୀତି ମଧ୍ୟ ଅନୁଷ୍ଠିତ ହେବ l ଶ୍ରୀଜୀଉମାନେ ରକ୍ତବସ୍ତ୍ର ପରିଧାନ କରିବେ ଓ ମହାପ୍ରଭୁଙ୍କୁ ତୁଳସୀ ଲାଗି ହେବେ l ସ୍ନାନ ପୂର୍ଣ୍ଣିମୀ ପରଠାରୁ ଅସୁସ୍ଥ ହୋଇପଡିବା ପରେ ମହାପ୍ରଭୁଙ୍କୁ ନୀତିରେ ତୁଳସୀ କିମ୍ୱା ଧଳା ଫୁଲ ବ୍ୟବହାର ହେଉନଥିଲା l 
        ଦଇତାପତି ସେବକଙ୍କ ଉଦ୍ୟମ କ୍ରମେ ମହାପ୍ରଭୁ କ୍ରମଶଃ ସୁସ୍ଥ ହୋଇ ଉଠନ୍ତି l  ପୂର୍ବରୁ ବଡ଼ ଓଡ଼ିଆ ମଠ ଫୁଲୁରି ତେଲ ଯୋଗାଇ ଦିଅନ୍ତି, ଯାହା ମହାପ୍ରଭୁଙ୍କ ଠାରେ ଲାଗି କରାଯାଏ l ସେହିଭଳି ଶୁଦ୍ଧ ସୁଆର ସେବକ ମହାପ୍ରଭୁଙ୍କୁ ଔଷଧ ଯୋଗାଇ ଦିଅନ୍ତି l  ଏହି କ୍ରମରେ ମହାପ୍ରଭୁ ଚକାବିଜେ ହେବା ପରେ ସୁସ୍ଥ ହେଉଥିବା ଲକ୍ଷଣ ପ୍ରକାଶ ପାଏ l ଏବଂ ପ୍ରଭୁଙ୍କ କବିରାଜ ତୁରନ୍ତ ଶ୍ରୀମନ୍ଦିରକୁ ଦଶମୂଳ ବା ମୋଦକ ବିଜେ କରାନ୍ତି l 
 ଆଷାଢ଼ କୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରର ଅନବସର ଗୃହରେ  ତିନୋଟି ମୁଗୁନି ପଥରର ଚକା ଅଣସର ପିଣ୍ଡିରେ ରଖାଯାଇ ବିଗ୍ରହଙ୍କୁ ଏକ ଚକା ଉପରେ ବିଜେ କରାଯାଏ l ପାରମ୍ପରିକ ରୀତି ମତେ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କୁ ଆରୋଗ୍ୟ ହେବା ନିମନ୍ତେ ରାଜବୈଦ୍ୟଙ୍କ ପ୍ରସ୍ତୁତ ଦଶମୂଳ ମୋଦକ ସେବନ କରିବାକୁ ଦିଆଯାଇଥାଏ l ରାଜବୈଦ୍ୟମାନେ ପ୍ରସ୍ତୁତ କରିଥିବା ଦଶମୂଳ ମୋଦକକୁ ପତି ମହାପାତ୍ର ସେବକ ଠାକୁରମାନଙ୍କୁ ଭୋଗ କରିବା କରିବା ପରେ ଅଣସର ଘରେ ଶୋଇରହିଥିବା ଜୀଉମାନେ ଉଠି ଚକା ଉପରକୁ ବିଜେ କରିଥାନ୍ତି l

ଉପସ୍ଥାପନା: ପଣ୍ଡିତ ସୌମ୍ୟ ରଂଜନ ପଣ୍ଡା

ଜାଣନ୍ତୁ ଫୁଲୁରୀ ତେଲ କିପରି ପ୍ରସ୍ତୁତ ହୁଏ ।

ଅଣସରର ପଞ୍ଚମୀ । ମଣିମା ଲାଗିହେବେ ଫୁଲୁରୀ ତେଲ। ହେଲେ କ’ଣ ଏହି ଫୁଲୁରି ତେଲ। କେମିତି ତିଆରି ହୁଏ ଏହି ଦିବ୍ୟ ମହୌଷଧୀ। ଆସନ୍ତୁ ଜାଣିବା ସେ ସମ୍ପର୍କରେ….
ଫୁଲରୁ ଫୁଲୁରୀ । ଘଣା ପେଡା ରାଶି ତେଲ ଆଉ ସୁଗନ୍ଧିତ ଫୁଲ ସବୁକୁ ମିଶାଇ ପ୍ରସ୍ତୁତ ହୁଏ ଏହି ଫୁଲୁରୀ ତେଲ। ୧୪ ପ୍ରକାର ଫୁଲ ଆଉ ୭ ପ୍ରକାର ଚେରମୂଳି ଏହି ତେଲରେ ମିଶିଥାଏ। ପ୍ରମୁଖ ଭାବରେ ଔଷଧୀୟ ଗୁଣ ସମ୍ପନ୍ନ ସୁଗନ୍ଧିତ ମଲ୍ଲୀ, କିଆ, କେତକି ସହ କିଛି ଶୁକ୍ଲ ଧାନ ଓ ବେଣାଚେରକୁ ଘଣା ହୋଇଥିବା ରାଶିତେଲରେ ମିଶାଇ ଏକ ମାଟି ହାଣ୍ଡିରେ ମାଟିରେ ପୋତିଦିଆଯାଏ। ଏହି ମିଶ୍ରଣକୁ ମାଟିତଳେ ଦୀର୍ଘ ଏକ ବର୍ଷ କାଳ ରଖାଯାଇଥିଲା। ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ଏହାକୁ ମାଟିରୁ ବାହାର କରାଯାଇଥାଏ। ସେତେବେଳକୁ ଏହି ତେଲ ଔଷଧରେ ରୁପାନ୍ତରିତ ହୋଇ ସାରିଥାଏ। ଶ୍ରୀକ୍ଷେତ୍ରରେ ଥିବା ବଡ଼ ଓଡ଼ିଆ ମଠ ଏହାକୁ ପ୍ରସ୍ତୁତ କରି ସେବା ନିମିତ୍ତ ଯୋଗାଇଥାନ୍ତି। ପ୍ରାୟ ୬ ସେର ଫୁଲୁରୀ ତେଲ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ମର୍ଦନ ହୋଇଥାଏ। ମଠ ପକ୍ଷରୁ ଅଣସର ପଞ୍ଚମୀରେ ଏହାକୁ ଶ୍ରୀମନ୍ଦିରକୁ ପଠାଯାଇଥାଏ। ଦେଉଳ କରଣଙ୍କ ନେତୃତ୍ୱରେ ଏହାକୁ ଅଣସର ଗୃହକୁ ଆଣାଯିବା ପରେ ଦଇତା ସେବକମାନେ ପ୍ରଭୁ ବଳଭଦ୍ର, ଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ଶ୍ରୀଅଙ୍ଗରେ ଏହାକୁ ମାଲିସ କରିଥାନ୍ତି ।

ଉପସ୍ଥାପନା: ପଣ୍ଡିତ ସୌମ୍ୟରଂଜନ ପଣ୍ଡା

ମହାଦେବ ଓ ମାତା ପାର୍ବତୀଙ୍କ ଶୁଭ ପରିଣୟ।

ଆଜି ହେଉଛି ଭଗବାନ ମହାଦେବ ଶିବ ଏବଂ ଜଗତଜନନୀ ମାତା ପାର୍ବତୀଙ୍କର ଶୁଭ ପରିଣୟ । ଜ୍ୟୈଷ୍ଠ ଶୁକ୍ଳ ପଞ୍ଚମୀ ତିଥିରେ ମାତା ପାର୍ବତୀ ଓ ଭଗବାନ ଶଙ୍କରଙ୍କର ବିବାହ ଉତ୍ସବ ଏବଂ ତା’ ପରଦିନ ଶୀତଳଷଷ୍ଠୀ ଯାତ୍ରା ପାଳନ କରାଯାଏ ।

ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପୌରାଣିକ କଥାବସ୍ତୁ ଉପରେ ପର୍ଯ୍ୟବେସିତ । ଶିବ ପୁରାଣ ଅନୁଯାୟୀ ବ୍ରହ୍ମାଙ୍କୁ କଠୋର ତପସ୍ୟା କରି ଦକ୍ଷ ପ୍ରଜାପତି ମାତା ସତୀଙ୍କୁ ପୁତ୍ରୀ ରୂପେ ପ୍ରାପ୍ତ ହୁଅନ୍ତି । ମାତା ସତୀ ବିବାହ ଯୋଗ୍ୟା ହେବାରୁ ପିତାଙ୍କ ଅନିଚ୍ଛା ସତ୍ତ୍ୱେ ଶ୍ମଶାନଚାରୀ ଭଗବାନ ଶିବଙ୍କୁ ବିବାହ କରନ୍ତି । ଏଥିରେ କ୍ଷୁବ୍ଧ ହୋଇ ଦକ୍ଷ ପ୍ରଜାପତି ଝିଅ ଜ୍ୱାଇଁଙ୍କୁ ଆମନ୍ତ୍ରଣ କରନ୍ତି ନାହିଁ । ମହାଦେବଙ୍କ ଅନିଚ୍ଛା ସତ୍ତ୍ୱେ ମାତା ସତୀ ପିତ୍ରାଳୟ ଗଲେ । ଯଜ୍ଞସ୍ଥଳରେ ଦକ୍ଷ ପ୍ରଜାପତି ଭଗବାନ ଶିବଙ୍କର ଅପମାନ କଲେ । ସ୍ଵାମୀଙ୍କର ଅପମାନକୁ ସହି ନ ପାରି ମାତା ସତୀ ଯଜ୍ଞକୁଣ୍ଡରେ ଝାସ ଦେଲେ । ସତୀଙ୍କ ଯଜ୍ଞକୁଣ୍ଡରେ ଝାସ ଦେବା ଶୁଣି ମହାଦେବ ଯଜ୍ଞସ୍ଥଳକୁ ଧ୍ୱଂସ କରି ଦେଲେ । ସେଠାରୁ ସତୀଙ୍କ ଶବକୁ କାନ୍ଧରେ ପକାଇ ଚାରିଆଡ଼େ ଘୁରି ବୁଲିଲେ ।ଭଗବାନ ବିଷ୍ଣୁ ସୁଦର୍ଶନ ଚକ୍ର ଦ୍ୱାରା ସତୀଙ୍କ ଶରୀରକୁ ଖଣ୍ଡ ଖଣ୍ଡ କରି ଶିବଙ୍କ ଠାରୁ ଅଲଗା କରିଦେଲେ । ପରବର୍ତ୍ତୀ ସମୟରେ ବ୍ରହ୍ମାଙ୍କ ବରରେ ବଳିୟାନ ହୋଇ ତାରକାସୁର ଅତ୍ୟାଚାର କଲା । ତାରକାସୁରର ଅତ୍ୟାଚାରରେ ଦେବତାମାନେ ଆତଙ୍କିତ ହୋଇ ବ୍ରହ୍ମାଙ୍କ ଶରଣ ପଶିଲେ । ମାତ୍ର ବ୍ରହ୍ମା ଶିବଙ୍କ ଔରସରୁ ଜନ୍ମିତ ସନ୍ତାନ ତାରକାସୁରକୁ ବଧ କରିବ ବୋଲି ପ୍ରକାଶ ପରେ ଦେବତାମାନେ ଆଦିଶକ୍ତି ମାତା ପାର୍ବତୀଙ୍କୁ ତପସ୍ୟା କରନ୍ତି । ଦେବଗଣଙ୍କ କଠୋର ତପସ୍ୟା ଯୋଗୁଁ ମାତା ପାର୍ବତୀ ଗିରିରାଜ ହିମାଳୟଙ୍କ ଘରେ ଆବିର୍ଭାବ ହୁଅନ୍ତି । ଜ୍ୟେଷ୍ଠ ଶୁକ୍ଳପକ୍ଷ ପଞ୍ଚମୀ ଦିନ ଭଗବାନ ଶିବ ଓ ମାତା ପାର୍ବତୀଙ୍କ ପୁନଃମିଳନ ହୁଏ । ମହାଦେବ ମାତା ପାର୍ବତୀଙ୍କୁ ପାଇବା ପରେ ରୁଦ୍ର ରୂପ ତ୍ୟାଗ କରି ହୋଇଯାନ୍ତି ଶାନ୍ତ ଶୀତଳ । ଦେବଦମ୍ପତିଙ୍କ ଏହି ମହାମିଳନକୁ ଲୋକାଚାରରେ ଶୀତଳଷଷ୍ଠୀ ଭାବେ ପାଳନ କରାଯାଏ ।

ସର୍ବଶେଷରେ ହରଉମା ବିବାହ ମହୋତ୍ସବର ପବିତ୍ର ଅବସରରେ ସମସ୍ତ ସନାତନୀ ହିନ୍ଦୁ ମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଶୁଭକାମନା । ହର ହର ମହାଦେବ । ଜୟ ମାଆ ଆଦିଶକ୍ତି।।

ଉପସ୍ଥାପନା: ଅରବିନ୍ଦ ମହାନ୍ତି