ମହାଦେବ ଓ ମାତା ପାର୍ବତୀଙ୍କ ଶୁଭ ପରିଣୟ।

ଆଜି ହେଉଛି ଭଗବାନ ମହାଦେବ ଶିବ ଏବଂ ଜଗତଜନନୀ ମାତା ପାର୍ବତୀଙ୍କର ଶୁଭ ପରିଣୟ । ଜ୍ୟୈଷ୍ଠ ଶୁକ୍ଳ ପଞ୍ଚମୀ ତିଥିରେ ମାତା ପାର୍ବତୀ ଓ ଭଗବାନ ଶଙ୍କରଙ୍କର ବିବାହ ଉତ୍ସବ ଏବଂ ତା’ ପରଦିନ ଶୀତଳଷଷ୍ଠୀ ଯାତ୍ରା ପାଳନ କରାଯାଏ ।

ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପୌରାଣିକ କଥାବସ୍ତୁ ଉପରେ ପର୍ଯ୍ୟବେସିତ । ଶିବ ପୁରାଣ ଅନୁଯାୟୀ ବ୍ରହ୍ମାଙ୍କୁ କଠୋର ତପସ୍ୟା କରି ଦକ୍ଷ ପ୍ରଜାପତି ମାତା ସତୀଙ୍କୁ ପୁତ୍ରୀ ରୂପେ ପ୍ରାପ୍ତ ହୁଅନ୍ତି । ମାତା ସତୀ ବିବାହ ଯୋଗ୍ୟା ହେବାରୁ ପିତାଙ୍କ ଅନିଚ୍ଛା ସତ୍ତ୍ୱେ ଶ୍ମଶାନଚାରୀ ଭଗବାନ ଶିବଙ୍କୁ ବିବାହ କରନ୍ତି । ଏଥିରେ କ୍ଷୁବ୍ଧ ହୋଇ ଦକ୍ଷ ପ୍ରଜାପତି ଝିଅ ଜ୍ୱାଇଁଙ୍କୁ ଆମନ୍ତ୍ରଣ କରନ୍ତି ନାହିଁ । ମହାଦେବଙ୍କ ଅନିଚ୍ଛା ସତ୍ତ୍ୱେ ମାତା ସତୀ ପିତ୍ରାଳୟ ଗଲେ । ଯଜ୍ଞସ୍ଥଳରେ ଦକ୍ଷ ପ୍ରଜାପତି ଭଗବାନ ଶିବଙ୍କର ଅପମାନ କଲେ । ସ୍ଵାମୀଙ୍କର ଅପମାନକୁ ସହି ନ ପାରି ମାତା ସତୀ ଯଜ୍ଞକୁଣ୍ଡରେ ଝାସ ଦେଲେ । ସତୀଙ୍କ ଯଜ୍ଞକୁଣ୍ଡରେ ଝାସ ଦେବା ଶୁଣି ମହାଦେବ ଯଜ୍ଞସ୍ଥଳକୁ ଧ୍ୱଂସ କରି ଦେଲେ । ସେଠାରୁ ସତୀଙ୍କ ଶବକୁ କାନ୍ଧରେ ପକାଇ ଚାରିଆଡ଼େ ଘୁରି ବୁଲିଲେ ।ଭଗବାନ ବିଷ୍ଣୁ ସୁଦର୍ଶନ ଚକ୍ର ଦ୍ୱାରା ସତୀଙ୍କ ଶରୀରକୁ ଖଣ୍ଡ ଖଣ୍ଡ କରି ଶିବଙ୍କ ଠାରୁ ଅଲଗା କରିଦେଲେ । ପରବର୍ତ୍ତୀ ସମୟରେ ବ୍ରହ୍ମାଙ୍କ ବରରେ ବଳିୟାନ ହୋଇ ତାରକାସୁର ଅତ୍ୟାଚାର କଲା । ତାରକାସୁରର ଅତ୍ୟାଚାରରେ ଦେବତାମାନେ ଆତଙ୍କିତ ହୋଇ ବ୍ରହ୍ମାଙ୍କ ଶରଣ ପଶିଲେ । ମାତ୍ର ବ୍ରହ୍ମା ଶିବଙ୍କ ଔରସରୁ ଜନ୍ମିତ ସନ୍ତାନ ତାରକାସୁରକୁ ବଧ କରିବ ବୋଲି ପ୍ରକାଶ ପରେ ଦେବତାମାନେ ଆଦିଶକ୍ତି ମାତା ପାର୍ବତୀଙ୍କୁ ତପସ୍ୟା କରନ୍ତି । ଦେବଗଣଙ୍କ କଠୋର ତପସ୍ୟା ଯୋଗୁଁ ମାତା ପାର୍ବତୀ ଗିରିରାଜ ହିମାଳୟଙ୍କ ଘରେ ଆବିର୍ଭାବ ହୁଅନ୍ତି । ଜ୍ୟେଷ୍ଠ ଶୁକ୍ଳପକ୍ଷ ପଞ୍ଚମୀ ଦିନ ଭଗବାନ ଶିବ ଓ ମାତା ପାର୍ବତୀଙ୍କ ପୁନଃମିଳନ ହୁଏ । ମହାଦେବ ମାତା ପାର୍ବତୀଙ୍କୁ ପାଇବା ପରେ ରୁଦ୍ର ରୂପ ତ୍ୟାଗ କରି ହୋଇଯାନ୍ତି ଶାନ୍ତ ଶୀତଳ । ଦେବଦମ୍ପତିଙ୍କ ଏହି ମହାମିଳନକୁ ଲୋକାଚାରରେ ଶୀତଳଷଷ୍ଠୀ ଭାବେ ପାଳନ କରାଯାଏ ।

ସର୍ବଶେଷରେ ହରଉମା ବିବାହ ମହୋତ୍ସବର ପବିତ୍ର ଅବସରରେ ସମସ୍ତ ସନାତନୀ ହିନ୍ଦୁ ମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଶୁଭକାମନା । ହର ହର ମହାଦେବ । ଜୟ ମାଆ ଆଦିଶକ୍ତି।।

ଉପସ୍ଥାପନା: ଅରବିନ୍ଦ ମହାନ୍ତି

Share if you Care