ଭାରତୀୟ ଦର୍ଶନ ଓ ସଂସ୍କୃତି ଆଧାରିତ ଆମର ନିଆରା କାର୍ଯ୍ୟକ୍ରମ “ଭାରତୀୟ ଦର୍ଶନ ଓ ସଂସ୍କୃତି” ପ୍ରଥମଥର ପାଇଁ ଓଡ଼ିଆ ଭାଷାରେ ଦେଖନ୍ତୁ କେବଳ Vir Kalinga ରେ, ଆଗକୁ ଦେଖିବା ପାଇଁ Subscribe କରନ୍ତୁ।
Tag: odisha
ଜନ୍ମ ପୂର୍ବରୁ ଓ ମୃତ୍ୟୁ ପରର ଜୀବନ କେମିତି ?
ଭାରତୀୟ ଦର୍ଶନ ଓ ସଂସ୍କୃତି ଆଧାରିତ ଆମର ନିଆରା କାର୍ଯ୍ୟକ୍ରମ “ଭାରତୀୟ ଦର୍ଶନ ଓ ସଂସ୍କୃତି” ପ୍ରଥମଥର ପାଇଁ ଓଡ଼ିଆ ଭାଷାରେ ଦେଖନ୍ତୁ କେବଳ Vir Kalinga ରେ, ଆଗକୁ ଦେଖିବା ପାଇଁ Subscribe କରନ୍ତୁ।
ବେଦ ଓ ଉପନିଷଦ ଅଲଗା କି ?
ଭାରତୀୟ ଦର୍ଶନ ଓ ସଂସ୍କୃତି ଆଧାରିତ ଆମର ନିଆରା କାର୍ଯ୍ୟକ୍ରମ “ଭାରତୀୟ ଦର୍ଶନ ଓ ସଂସ୍କୃତି” ପ୍ରଥମଥର ପାଇଁ ଓଡ଼ିଆ ଭାଷାରେ ଦେଖନ୍ତୁ କେବଳ Vir Kalinga ରେ, ଆଗକୁ ଦେଖିବା ପାଇଁ Subscribe କରନ୍ତୁ।
ପୁରୁଷୋତ୍ତମ ଶ୍ରୀରାମ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ଉତ୍କଳୀୟ ପରମ୍ପରାରେ ପ୍ରଥମାଷ୍ଟମୀ।
ଉତ୍କଳୀୟ ପରମ୍ପରା ଅନୁସାରେ ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପ୍ରଥମାଷ୍ଟମୀ ପର୍ବ ପାଳନ କରାଯାଏ । ଅତୀତରେ କେତେକଙ୍କ ମତରେ ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଇଅଛି । ଏ ଦିନ ବଂଶର ପ୍ରଥମ ଜାତ ସନ୍ତାନ (ପୁଅ ବା ଝିଅ)ଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ I ଉତ୍କଳୀୟ ପରମ୍ପରା ଅନୁସାରେ ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା’ ମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି I ‘ପଢୁଆଁ’ ଶବ୍ଦଟି ‘ପ୍ରଥମା’ ର ଅପଭ୍ରଂଶ ।
ପରମ୍ପରା ଅନୁଯାୟୀ ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁ ଘରୁ ଆସିଥାଏ ।ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଣଜା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି । ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧା ଓ ପରିହାସରେ ଅଷ୍ଟମୀ ବନ୍ଧୁ ବୋଲି କୁହାଯାଏ I ଅବଶ୍ୟ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ଘରର ଜ୍ୟେଷ୍ଠପୁତ୍ର ବା ଜ୍ୟେଷ୍ଠକନ୍ୟାକୁ ନୂଆ ଲୁଗାପଟା ବାପ ମାଆମାନେ ପିନ୍ଧେଇଥାନ୍ତି। ଏହିବିଧିରେ ସାମାଜିକ ଓ ପାରିବାରିକ ବନ୍ଧନ, ଶୃଙ୍ଖଳା ଓ ଆଦର୍ଶବୋଧ ଅତିମାତ୍ରାରେ ନିହିତ ରହିଛି । ଜ୍ୟେଷ୍ଠପୁତ୍ର, ପରିବାରରେ ପିତା ସମାନ । ପିତାଙ୍କ ଅନ୍ତେ କିମ୍ବା ପିତାଙ୍କ ଅକର୍ତ୍ତବ୍ୟରେ ଘର ଚଳାଇବା ଓ ଅନ୍ୟ ସନ୍ତାନ (ଭାଇ ଭଉଣୀ) ମାନଙ୍କୁ ପ୍ରତିପୋଷଣ କରିବା ଦାୟିତ୍ୱ ଜ୍ୟେଷ୍ଠ ପୁତ୍ର ଉପରେ ପଡ଼ିଥାଏ ।ତେଣୁ ତାକୁ ସମସ୍ତେ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଓ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ପ୍ରଥମ ସନ୍ତାନ ବା ଜ୍ୟେଷ୍ଠ ସନ୍ତାନକୁ ପୂଜା ବନ୍ଦାପନା କରିବାର ବିଧି ଆମ ସମାଜରେ ପ୍ରଚଳିତ ।
ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ I କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ ।
ଶ୍ରୀଗଣେଶଙ୍କ ଜନ୍ମ କାହାଣୀ।
ଗଣେଶ ଗଜାନନ ରୂପରେ ହିଁ ସର୍ବତ୍ର ପରିଚିତ। ବିଘ୍ନହନ୍ତା ରୂପରେ ମଧ୍ୟ ତାଙ୍କୁ ପୂଜା କରାଯାଏ। ଆଉମଧ୍ୟ ସେ ଆଦ୍ୟପୂଜିତ ଓ ବିଘ୍ନେଶ। ତା ସହିତ ସେ ହେଉଛନ୍ତି ବୁଦ୍ଧି, ବିଦ୍ୟା ବା ଜ୍ଞାନର ଦେବତା, ବିଦ୍ୟାଦାତା। ସେ ପ୍ରତ୍ୟେକ ପୂଜାର ପ୍ରାରମ୍ଭରେ ପୂଜିତ ହୁଅନ୍ତି ଓ ବିଦ୍ୟାରମ୍ଭରେ ମଧ୍ୟ ତାଙ୍କରି ଆବାହନ କରାଯାଇଥାଏ। ତେବେ ଆସନ୍ତୁ ଜାଣିବା ଗଜାନନଙ୍କୁ ନେଇ କ’ଣ ରହିଛି ପୌରାଣିକ ତଥ୍ୟ।
ଶିବ ପୁରାଣ ଅନୁଯାୟୀ ଦେବୀ ପାର୍ବତୀ ନିଜଦେହରୁ ନିର୍ଗତ ମଇଳାରୁ ଏକ ମୂର୍ତ୍ତି ଗଠନ କଲେ ଏବଂ ତାକୁ ଜୀବନ ଦାନ ଦେଲେ। ପାର୍ବତୀ ଏହାଙ୍କୁ ଦ୍ୱାର ଜଗାଇ ଏବଂ ଭିତରକୁ କାହାକୁ ପ୍ରବେଶ ନ କରେଇବା ପାଇ ଆଦେଶ ଦେଇ ସ୍ନାନ କରିବାକୁ ଗଲେ । ଠିକ ସେହି ସମୟରେ ମହାଦେବ ଘରକୁ ଫେରି ଭିତରକୁ ପ୍ରବେଶ କରନ୍ତେ, ବାଳକ ଗଣେଶ ଆପଣା ପିତାଙ୍କୁ ଚିହ୍ନି ନ ପାରି ବାଟ ଛାଡ଼ିଲେ ନାହିଁ । ମହାଦେବ ଯେତେ ବୁଝାଇବାକୁ ଚେଷ୍ଟା କରି ବିଫଳ ହେବା ପରେ କ୍ରୋଧ ଜର୍ଜରିତ ହୋଇ ଶିର ଚ୍ଛେଦନ କଲେ । ପରେ ପାର୍ବତୀଙ୍କ ନିକଟରୁ ଏହାଙ୍କର ପରିଚୟ ପାଇ ଫେରି ଆସି ଦେଖିଲା ବେଳକୁ ମୁଣ୍ଡହୀନ ଗଣ୍ଡିଟି ପଡ଼ିଅଛି । ମହାଦେବ ମୁଣ୍ଡ ଖୋଜି ନ ପାଇ ଉତ୍ତରଦିଗକୁ ମୁଣ୍ଡକରି ଶୋଇଥିବା ଗୋଟିଏ ହାତୀର ମୁଣ୍ଡକୁ କାଟି ଆଣି ଏହାଙ୍କ ଗଣ୍ଡିରେ ଯୋଡ଼ି ଜୀବନ ଦାନ କଲେ । ଏ ମହାଦେବଙ୍କ ପ୍ରମଥ ଗଣର ସେନାପତି। ପୌରାଣିକ ମତେ ଗଣେଶ ବ୍ୟାସୋକ୍ତ ମହାଭାରତର ଲେଖକ। ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ଦିନ ଗଣେଶଙ୍କର ସ୍ୱତନ୍ତ୍ର ପୂଜା ହୁଏ ।
ଉତ୍କଳର ବୀର ସନ୍ତାନ ଚାଖୀ ଖୁଣ୍ଟିଆ।
ଚାଖୀ ଖୁଣ୍ଟିଆ, ଏହି ନାଁ ଶୁଣିବା ମାତ୍ରେ ବିଦେଶୀ ଶତ୍ରୁର ଛାତି କମ୍ପମାନ ହୋଇ ଉଠୁଥିଲା। କିଏ ସେହି ଚାଖୀ ଖୁଣ୍ଟିଆ ! ଯିଏ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ ହୋଇ ମଧ୍ୟ ଖଣ୍ଡା ଚାଳନାରେ ଥିଲେ ସିଦ୍ଧହସ୍ତ । ଯାହାଙ୍କ ତରବାରୀକୁ ଗୋରା ସାହେବର ମଧ୍ୟ ଭୟ ଥିଲା। ସେ ଆଉ କେହି ନୁହନ୍ତି ଆମ ଉତ୍କଳ ଜନନୀର ଜଣେ ମହାନ ବୀର, ଚନ୍ଦନ ହଜୁରୀ ଓରଫ୍ ଚାଖୀ ଖୁଣ୍ଟିଆ। ଯେତେବେଳେ ୧୮୫୭ ମସିହାରେ ସିପାହୀ ବିଦ୍ରୋହର ଜ୍ୱଳନ୍ତ ଅଗ୍ନି ସମଗ୍ର ଦେଶକୁ କବଳିତ କରିଥିଲା, ସେତେବେଳେ ଯେଉଁମାନେ ସାଧାରଣ ଲୋକଙ୍କ ଉଦ୍ଦେଶ୍ୟରେ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ ସେହି ବୀର ନେତାଙ୍କ ମଧ୍ୟରେ ଚାଖୀ ଖୁଣ୍ଟିଆ (ଚନ୍ଦନ ହଜୁରୀ) ଅନ୍ୟତମ ଥିଲେ |
୧୮୨୭ ମସିହାରେ ପୁରୀର ହରଚଣ୍ଡୀ ସାହିରେ “ଶାମ୍ବ ଦଶମି” ଭଳି ଏକ ଶୁଭ ଦିନରେ ପିତା ରଘୁନାଥ ଖୁଣ୍ଟିଆ ଓ ମାତା କମଳାବତୀ ଦେବୀଙ୍କ ଠାରୁ ଜନ୍ମଗ୍ରହଣ କରିଥିଲେ ଚନ୍ଦନ ହଜୁରୀ। ସେ ବହୁମୁଖୀ ବ୍ୟକ୍ତିତ୍ୱର ଅଧିକାରୀ ଥିଲେ | ଜଣେ କବି, ସାମାଜିକ ସଂସ୍କାରକ ଏବଂ ମହାନ ବିପ୍ଳବୀ ଥିଲେ। ସାହିତ୍ୟ ପ୍ରତି ତାଙ୍କର ବହୁତ ଆଗ୍ରହ ଥିଲା ଏବଂ ସେ ସର୍ବତୋମୁଖୀ ବ୍ୟକ୍ତିତ୍ୱ ଥିଲେ। ଖୁଣ୍ଟିଆଙ୍କର ଶାରୀରିକ ବଳ ଅସାଧାରଣ ଥିଲା । ସେ ନେପାଳୀମାନଙ୍କ ପଣ୍ଡା ଥିଲେ ୧୮୫୭ ମସିହାରେ ଭାରତର ସିପାହୀ ବିଦ୍ରୋହବେଳେ ଉତ୍ତରପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରି ଥିଲେ । ହେଲେ ଶେଷକୁ ଧରାପଡ଼ି ଦଣ୍ଡ ଭୋଗିଥିଲେ ।
ରଘୁନାଥ ଖୁଣ୍ଟିଆ ଜଗନ୍ନାଥ ମହାପ୍ରଭୁଙ୍କର ଅଙ୍ଗଲାଗି ସେବକ ଥିଲେ । କିମ୍ବଦନ୍ତୀ ରହିଛି ଯେ ରଘୁନାଥଙ୍କର ବଂଶରକ୍ଷା ପାଇଁ ସନ୍ତାନଟିଏ ନ ଥିବାରୁ ପତ୍ନୀ କମଳାବତୀ ବହୁତ ମାନସିକ ବ୍ରତ କରୁଥିଲେ । ବଡ଼ ଏକାଦଶୀ ଦିନ ରଘୁନାଥ ଜଗନ୍ନାଥଙ୍କର ଚନ୍ଦନ ବେଶରେ ବ୍ୟସ୍ତ ଥିବା ବେଳେ ଖବର ପାଇଲେ ଯେ ତାଙ୍କର ପୁଅଟିଏ ହୋଇଛି ବୋଲି। ସେଥି ଲାଗି ପୁଅଟିର ନାମ ରଖିଲେ ଚନ୍ଦନ। ବୃଦ୍ଧ ବୟସରେ ଚନ୍ଦନ ଏକମାତ୍ର ସନ୍ତାନ ହୋଇଥିବାରୁ ଚନ୍ଦନ ସମସ୍ତଙ୍କ ସ୍ନେହ ଶ୍ରଦ୍ଧା ଲାଭ କରି ବହୁତ ଦୁଷ୍ଟ ହେଲେ । ଛୁରୀ ପରି ତୀକ୍ଷ୍ଣ ହୋଇଥିବାରୁ ଛୁଆଟିକୁ କିଛି ଲୋକ ଛାଖୁ ବା ଚାଖି ଡାକିଲେ । ପରବର୍ତ୍ତୀ ସମୟରେ ସେ ନାମ ହୋଇଗଲା ଚାଖୀ ବା ଚାଖୀ ଖୁଣ୍ଟିଆ । ଚାଖୀ ଖୁଣ୍ଟିଆଙ୍କ ଯେଉଁ ହାତରେ ତରବାରୀ ଧରି ଯୁଦ୍ଧ କରୁଥିଲେ ସେହି ହାତରେ ଲେଖନୀ ଧରି ଅନେକ ଜଗନ୍ନାଥ ଭଜନ ଓ ଜଣାଣ ମଧ୍ୟ ଲେଖିପାରୁଥିଲେ। ଯାହା ଆଜି ପ୍ରତିଟି ଜଗନ୍ନାଥ ପ୍ରେମୀଙ୍କୁ ଭାବ ସାଗରରେ ଭସାଇଦିଏ। ଏହି ଭଳି ଜଣେ ମହାନ ବୀରଙ୍କୁ ଏ ମାଟି ପାଇ ଧନ୍ୟ ହୋଇଛି। ୭୬ତମ ସ୍ବାଧୀନତା ଦିବସ ଅବସରରେ ଆମ ଓଡ଼ିଆ ବୀରଙ୍କୁ ବୀର କଳିଙ୍ଗ ପରିବାର ତରଫରୁ ମଥାଲୋଟା ପ୍ରଣାମ। ବନ୍ଦେ ଉତ୍କଳ ଜନନୀ।
ମହାପ୍ରଭୁଙ୍କ ଝୁଲଣ ଯାତ।
“ଝୁଲିବେ ତ ଆଜ କୁଞ୍ଜେ ବ୍ରଜରାଜ
ଭୁଲି ନ ଯିବ କେ ଚାହିଁ।।”
ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା ଶ୍ରାବଣ ଶୁକ୍ଳ ଦଶମୀଠାରୁ ପ୍ରତିପଦ ଯାଏ ୭ ଦିନ ଧରି ଅନୁଷ୍ଠିତ ହୋଇଥାଏ। ଏହି ନୀତି ପାଇଁ ଭଣ୍ଡାର ରୁ ରୂପା ଗିନା ଆସେ। ଘଟୁଆରୀ ଚନ୍ଦନ ଆଣି ଯୋଗାଏ। ଭଣ୍ଡାର ମେକାପ ଅଳଙ୍କାର ଯୋଗାଏ। ମନ୍ଦିର କୋଠରୁ ମାଣ୍ଡୁଅ ଓ ଅନ୍ୟାନ୍ୟ ଜିନିଷ ମାନ ଯୋଗା ଯାଇଥାଏ।ଏହି ନୀତି ପାଇଁ ପ୍ରାୟ ୧୫ ରୁ ଉର୍ଦ୍ଧରେ ସେବକଙ୍କର ଆବଶ୍ୟକତା ପଡିଥାଏ।

ଝୁଲଣ ର ପ୍ରଥମ ଦିନ ଅର୍ଥାତ ଶ୍ରାବଣ ଶୁକ୍ଳ ଦଶମୀ ଦିନ ମଧ୍ୟାହ୍ନ ଧୂପ ବଢ଼ିବା ପରେ ଭିତର ଗମ୍ଭୀରରେ ପାଣି ପଡି ଧୁଆ ଯିବା ପରେ ଖୁଣ୍ଟିଆ ପୁଷ୍ପାଳକ ଙ୍କୁ ଡାକିଥାନ୍ତି। ଏହି ସମୟରେ ଗରାବଡୁ ସେବକଙ୍କ ଠାରୁ ହାତୁଆଣୀ ନେଇ ପୁଷ୍ପାଳକ ସେବକମାନେ ଶ୍ରୀ ଜୀଉମାନ ଙ୍କ ମଇଲମ କରିଥାନ୍ତି । ପାଳିଆ ମେକାପ ତିନୋଟି ରୂପା ଗିନାରେ ଘଟୁଆରୀ ସେବକ ଦେଇଥିବା ଚନ୍ଦନ କୁ ନେଇ ପାଳିଆ ପୁଷ୍ପାଳକଙ୍କୁ ବଢ଼ାଇଥାନ୍ତି। ତିନି ବାଡ଼ରେ ସର୍ବାଙ୍ଗ ଚନ୍ଦନ ଲାଗି କଲାପରେ ଶ୍ରୀଜୀଉମାନଙ୍କ ବେଶ ବଢିଥାଏ। ଏହି ଦିନ ଏହି ସମୟରେ ସେବକମାନେ ରତ୍ନସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଙ୍କୁ ଦକ୍ଷିଣୀ ଘର ପ୍ରାଙ୍ଗଣ ରେ ଖଟଶେଜ ମେକାପ ପକାଇଥିବା ଶେଜ ଉପରେ ବିଜେ କରାନ୍ତି ଓ ଦକ୍ଷିଣୀ ଘରୁ ମଦନମୋହନଙ୍କୁ ଆଣି ଏହାଙ୍କ ବିଜେ କରାନ୍ତି। ଏହିଠାରେ ୩ଦିଅଁଙ୍କ ବେଶ ମହାଜନ ସେବାୟତ କରିଥାନ୍ତି। ଏହାପରେ ପୂଜାପଣ୍ଡା ସେବକ ତିନି ଗୋଟି ସରା ରେ ତିନି ଗୋଟି ମାଣ୍ଡୁଅ ସର୍ପାମଣୋହି ପୂର୍ବକ ଭୋଗ କରିଥାନ୍ତି। ଏହାପରେ ଦକ୍ଷିଣୀ ଘରେ ବିରାଜିତ ସମସ୍ତ ଚଳନ୍ତି ପ୍ରତିମାଙ୍କ ଭୋଗ ହୋଇଥାଏ। ତତ୍ପରେ ଛାମୁ ଦିହୁଡ଼ି ସହ ଶ୍ରୀଦେବୀ , ଭୂଦେବୀ ଓ ମଦନମୋହନ ରତ୍ନସିଂହାସନ ବିଜେ କରିଥାନ୍ତି ସେଠାରେ ପୁଷ୍ପାଳକ ସେବକମାନେ ତିନି ବାଡ଼ରେ କର୍ପୁର ଲାଗି କରିବା ପରେ ସିଂହାସନ ରୁ ଓଲ୍ହାଇ ତିନି ବାଡ଼ରେ ସାନ୍ଧ୍ୟ ଆଳତି କରିଥାନ୍ତି। ଏହାପରେ ଜନୈକ ପୂଜାପଣ୍ଡା ସେବକ ହାତୁଆଣି ନେଇ ମହାପ୍ରଭୁଙ୍କ ଦକ୍ଷିଣ ଭୁଜରୁ ଆଜ୍ଞାମାଳ ନେଇ ଶ୍ରୀ ମଦନମୋହନଙ୍କୁ ଓ ଉତ୍ତର ଭୁଜର ଦୁଇ ଆଜ୍ଞାମାଳ ଭୂଦେବୀ ଓ ଶ୍ରୀଦେବୀ ଙ୍କୁ ଲାଗି କରିଥାନ୍ତି। ତତ୍ପରେ ଛାମୁ ଦିହୁଡ଼ି ସହ ମହାଜନ ସେବକମାନେ ତିନି ଚଳନ୍ତି ପ୍ରତିମାଙ୍କୁ ହସ୍ତରେ ବିଜେ କରାଇ ଜଗମୋହନ , ବଟ ଦ୍ୱାର ଦେଇ ଝୁଲଣ ମଣ୍ଡପ ଦୋଳି ଉପରେ ବିଜେ କରାନ୍ତି। ଏଠାରେ ବିଡ଼ିଆ ମଣୋହି ହୋଇଥାଏ। ଭିତରେ ସନ୍ଧ୍ୟଧୂପ ବଢ଼ିବା ପରେ ଝୁଲଣ ମଣ୍ଡପରେ ସୁଦୁ ସୁଆର ପାଣି ପକାଇବା ପରେ ଆସ୍ଥାନ ପ୍ରତିହାରୀ ଟେରା ବାନ୍ଧି ଶୀତଳ ଭୋଗ ପୂଜା ଠା କରିଥାନ୍ତି । ତତ୍ପରେ ପାଳିଆ ପୂଜାପଣ୍ଡା ଆସି ପଞ୍ଚ ଉପଚାର ରେ ପୂଜା କରିଥାନ୍ତି। ଭୋଗ ଶେଷ ହେବା ପରେ ମୁଦିରସ୍ତ ବନ୍ଦାପନା ନୀତି ବଢ଼ାଇଥାନ୍ତି। ରତ୍ନସିଂହାସନରେ ଶ୍ରୀଜୀଉ ଙ୍କ ଚନ୍ଦନ ଲାଗି ନୀତି ସରିବା ପରେ ଝୁଲଣ କୁଞ୍ଜରେ ମହାଜନ ମାନେ ମଇଲମ କରି ଶ୍ରୀ ମଦନମୋହନ ଙ୍କୁ ଦକ୍ଷିଣୀ ଘର ଓ ଶ୍ରୀଦେବୀ , ଭୂଦେବୀ ଙ୍କୁ ରତ୍ନସିଂହାସନ ବିଜେ କରାଇଥାନ୍ତି।
ଏହିପରି ଭାବେ ୭ ଦିନ ବ୍ୟାପି ଝୁଲଣ ଯାତ୍ରା ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଥାଏ।
ଉପସ୍ଥାପନା: ନୀଳାଦ୍ରିନାଥ ଶ୍ରୀଜଗନ୍ନାଥ