ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ୱିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେ ସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ । ଏହି ଓଷାରେ ବୁଧିବାମନଙ୍କୁ ପୂଜା କରାଯାଏ । ଏଠାରେ ବୁଦ୍ଧ ବା ବୁଧେଇ ହେଉଛନ୍ତି ଭୈରବୀ ବା ବିମଳା । ବାମନ କହିଲେ ଭୈରବ, ଯିଏ ସ୍ୱୟଂ ଜଗନ୍ନାଥ । ଅତଏବ ଏହି ଓଷାରେ ଆରାଧ୍ୟ ଦେବଦେବୀ ହେଲେ ଶ୍ରୀଜଗନ୍ନାଥ ଓ ବିମଳା; କିନ୍ତୁ ଜ୍ୟୋତିଷଶାସ୍ତ୍ର ଅନୁସାରେ ଏହି ଓଷାରେ ନାରୀରୂପୀ ବୁଧ ଓ ମଙ୍ଗଳାଙ୍କୁ ପୂଜା କରାଯାଏ । କାରଣ ଏମାନେ ସୃଷ୍ଟିକର୍ତ୍ତା । ବୁଦ୍ଧିବାମନ ଓଷାର ପରମ୍ପରା ମତେ ପୂଜାସ୍ଥଳୀଟିକୁ ଗୋବରଲିପି ଶୁଚି କରାଯାଏ । ଏହି ପୂଜା ନିମନ୍ତେ ପାଞ୍ଚଟି ରଙ୍ଗର ଫୁଲ, ପାଞ୍ଚପ୍ରକାର ଫୁଲ, ପାଞ୍ଚପ୍ରକାର ଫଳ, ପାଞ୍ଚଟି ଧୂପ, ପାଞ୍ଚଟି ଦୁବ ଓ ପାଞ୍ଚଟି ଅକ୍ଷତ ଦରକାର ହୁଏ । ଏଥିରେ , ଫୁଲମାଳ ଏବଂ ଖଇମାଳରେ ଠାକୁରଙ୍କୁ ଲାଗି କରାଯାଏ । ପ୍ରଥମ ପାଳିରୁ ଏଥିରେ ଗୋଟିଏ ନଡ଼ିଆ ବସାଯାଇ, ଶେଷ ପାଳିଦିନ ଏହାକୁ ଭାଙ୍ଗି ଠାକୁରଙ୍କୁ ସମର୍ପଣ କରାଯାଏ । ମଝିପାଳି ଗୁଡ଼ିକରେ ପିଠାପଣା ଭୋଗରାଗ ହୁଏ । ତେବେ ଶେଷ ପାଳି ଦିନ ଅନ୍ତତଃ ପାଞ୍ଚପ୍ରକାର ପିଠାପଣା କରାଯାଏ । ପ୍ରତ୍ୟେକ ବୁଧବାର ଦିନଯାକ ଉପବାସ କରି ରାତିରେ ପୂଜାପରେ ଭୋଗ ଖିଆଯାଏ । ଶିଳ ଏବଂ ଶିଳପୁଆ ଏହାର ଦେବଦେବୀ ଅଟନ୍ତି । ପ୍ରଥମେ ଏହି ଶିଳ ଏବଂ ଶିଳପୁଆକୁ ବଟା ଅଁଳା ପାଣି ସହ ଗଙ୍ଗାଜଳରେ ସ୍ନାନ କରାଯାଇ, ହଳଦୀକନା ଓ ସୂତା ଗୁଡ଼ାଇ ନାରୀବେଶ କରାଯାଏ
ବଟା ହଳଦୀଓ କଉଡି ଦ୍ବାରା ମା ଙ୍କୁ ସ୍ଥାପନା କରାଯାଏ । ମଥାରେ ସିନ୍ଦୂର ଓ ଆଖିରେ କଜ୍ୱଳ ଦିଆଯାଏ । ବୁଦ୍ଧିବାମନଙ୍କ ଓଷା ପାଇଁ ସ୍ୱତନ୍ତ୍ର ବହି ଅଛି । ଏହା ପାଞ୍ଚଟି କାହାଣୀକୁ ନେଇ ରଚିତ, କାହାଣିଗୁଡ଼ିକ ହେଲା: ମଗଧର ସାଧବ ସାଧବାଣୀ, ଯଯାତିନଗରର ଶୁଣ୍ଢି-ଶୁଣ୍ଢିଆଣୀ, ଯାଜପୁରର ବନ୍ଧୁ ମହାନ୍ତି, ଗର୍ଭଶୂନ୍ୟା ବ୍ରାହ୍ମଣୀ ଓ ହରିପୁରର ଜଣେ ସାଧାରଣ ନାରୀ । ବିଶ୍ୱାସ କରାଯାଏ ନିଃସନ୍ତାନ ମହିଳା ପ୍ରଥମ ପାଳିରୁ ଗୋଟେ ଶାଢି, ପୂଜାଘର ଦୁଆର ମୁହଁରେ ପକାଇଲେ, ସମସ୍ତଙ୍କ ପବିତ୍ର ପଦସ୍ପର୍ଶ ଯୋଗୁଁ ସେ କୃତାର୍ଥ ହୁଏ ଏବଂ ସନ୍ତାନ ପ୍ରସବା ହୁଏ । ଏହି ଲୁଗାକୁ ପାହାଡା କୁହାଯାଏ ।
ବୁଧେଇ ଓଷା
ନାମ :-ବୁଧିବାମନ ଓଷା
ପାଳନକାରୀ :-ସଧବା ନାରୀ
ବିଶେଷତା :-ସନ୍ତାନ କାମନା କରିବା ଓ ତାହାର ଶୁଭ ମନାସିବା
ପର୍ବ ପାଳନ :-ପୂଜା, ବନ୍ଦାପନା
ଆରମ୍ଭ :-ଭାଦ୍ରବ ମାସର ୪ଟି କିମ୍ବା ୫ଟି ବୁଧବାର
ପୂଜାବିଧି ଓ ଉପଚାର
ଘରକୋଣ କିମ୍ବା ଓଷାକୋଠିରେ ସକାଳୁ ସ୍ନାନଶୌଚ ହୋଇ ଗ୍ରାମୀଣ ମହିଳାମାନେ ଏକାଠି ହୁଅନ୍ତି । ଶିଳ ଓ ଶିଳପୁଆ ଏହିପୂଜାରେ ଦେବାଦେବୀ ହୋଇଥିବାରୁ ଘରେ ଥିବା ଶିଳ ଓ ଶିଳପୁଆକୁ ବଟା ଅଁଳା ପାଣି ସହ ଗଙ୍ଗାଜଳରେ ସ୍ନାନକରାଯାଏ ।
ଉପସ୍ଥାପନା: କାଳନ୍ଦୀ ବେହେରା