ନୀଳଚକ୍ରର ଏପରି ନାମକରଣ କାହିଁକି ? 

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କିଛି ଜଣା ଅଜଣା କଥାକୁ ନେଇ ଆମର ସ୍ବତନ୍ତ୍ର କାର୍ଯ୍ୟକ୍ରମ “ଜଣା ଅଜଣା ଜଗନ୍ନାଥ”। ଆପଣ ଯଦି ଆମ ଚ୍ୟାନେଲ ପାଇଁ ନୂଆ ତାହାଲେ ଆମର ଏଇ Vir Kalinga ଚ୍ୟାନେଲକୁ Subscribe କରି ଆମର ଏକ ନୂତନ ସଦସ୍ୟ ହୋଇଯାଆନ୍ତୁ।

ଉତ୍କଳୀୟ ପରମ୍ପରାରେ ପ୍ରଥମାଷ୍ଟମୀ।

ଉତ୍କଳୀୟ ପରମ୍ପରା ଅନୁସାରେ ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପ୍ରଥମାଷ୍ଟମୀ ପର୍ବ ପାଳନ କରାଯାଏ । ଅତୀତରେ କେତେକଙ୍କ ମତରେ ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଇଅଛି । ଏ ଦିନ ବଂଶର ପ୍ରଥମ ଜାତ ସନ୍ତାନ (ପୁଅ ବା ଝିଅ)ଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ I ଉତ୍କଳୀୟ ପରମ୍ପରା ଅନୁସାରେ ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା’ ମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି I ‘ପଢୁଆଁ’ ଶବ୍ଦଟି ‘ପ୍ରଥମା’ ର ଅପଭ୍ରଂଶ ।

ପରମ୍ପରା ଅନୁଯାୟୀ ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁ ଘରୁ ଆସିଥାଏ ।ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଣଜା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି । ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧା ଓ ପରିହାସରେ ଅଷ୍ଟମୀ ବନ୍ଧୁ ବୋଲି କୁହାଯାଏ I ଅବଶ୍ୟ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ଘରର ଜ୍ୟେଷ୍ଠପୁତ୍ର ବା ଜ୍ୟେଷ୍ଠକନ୍ୟାକୁ ନୂଆ ଲୁଗାପଟା ବାପ ମାଆମାନେ ପିନ୍ଧେଇଥାନ୍ତି। ଏହିବିଧିରେ ସାମାଜିକ ଓ ପାରିବାରିକ ବନ୍ଧନ, ଶୃଙ୍ଖଳା ଓ ଆଦର୍ଶବୋଧ ଅତିମାତ୍ରାରେ ନିହିତ ରହିଛି । ଜ୍ୟେଷ୍ଠପୁତ୍ର, ପରିବାରରେ ପିତା ସମାନ । ପିତାଙ୍କ ଅନ୍ତେ କିମ୍ବା ପିତାଙ୍କ ଅକର୍ତ୍ତବ୍ୟରେ ଘର ଚଳାଇବା ଓ ଅନ୍ୟ ସନ୍ତାନ (ଭାଇ ଭଉଣୀ) ମାନଙ୍କୁ ପ୍ରତିପୋଷଣ କରିବା ଦାୟିତ୍ୱ ଜ୍ୟେଷ୍ଠ ପୁତ୍ର ଉପରେ ପଡ଼ିଥାଏ ।ତେଣୁ ତାକୁ ସମସ୍ତେ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଓ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ପ୍ରଥମ ସନ୍ତାନ ବା ଜ୍ୟେଷ୍ଠ ସନ୍ତାନକୁ ପୂଜା ବନ୍ଦାପନା କରିବାର ବିଧି ଆମ ସମାଜରେ ପ୍ରଚଳିତ ।

        ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ I କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ ।

ଦଶମୂଳ ସେବନ ପରେ ଚକା ବିଜେ କରିବେ ମହାପ୍ରଭୁ।

ଆଜି ଅଣସର ଦଶମୀ ତିଥି ରେ ଶ୍ରୀଜିଉ ମାନଙ୍କୁ ଦଶମୂଳ ମୋଦକ ଲାଗି ହୋଇ ସାରିବା ପରେ ଚକା ବିଜେ ହେବେ ଶ୍ରୀ ମହାପ୍ରଭୁ l ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ ଶ୍ରୀଜୀଉ ଙ୍କ ନିମନ୍ତେ ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ l ଏହା ଏକାଦଶୀ ଦିନ ଶ୍ରୀଜୀଉ ଙ୍କ ପାଖେ ସମର୍ପଣ ହୋଇଥାଏ l ଶ୍ରୀମନ୍ଦିର ର ରାଜବୈଦ୍ୟ ସେବକ ମାନେ ପୁରୁଷାନୁକ୍ରମେ ମହାପ୍ରଭୁଙ୍କ ଏହି ସେବା କରିଥାନ୍ତି l ଏହି ମହୌଷଧି ପ୍ରସ୍ତୁତି ନିମନ୍ତେ –
ଶାଳପନ୍ନି , ଗମ୍ଭାରୀ , ଫଣଫଣା , କୃଷ୍ଣ ପନ୍ନି , ଅଗବଥୁ , ବେଲ , ଅଙ୍କରାନ୍ତି , ଗୋଖରା ,ଲବିଂ କୋଳି , ନବାଙ୍କୁରୀ କୁ ପ୍ରଥମେ ଶୁଖା ଯାଇଥାଏ l ପରେ ଏହାକୁ କୁଟା ଯାଇ ଗୁଣ୍ଡ କରାଯାଇଥାଏ l ଏହି ଗୁଣ୍ଡ କୁ ଗାମୁଛାରେ ଛାଣି ନୂତନ କାଠ ଚୁଲିରେ କଡେଇ ବସଯାଇ ଖୁଆ , ଶର୍କରା , ସର , ମହୁ , ଘିଅ , ଭାଙ୍ଗ ଆଦି ପକାଯାଇ ଏହାକୁ ପାଗ କରାଯାଏ l ପାଗ ପରେ ଏହାକୁ କଦଳୀ ପତ୍ର ଉପରେ ରଖି ଥଣ୍ଡା କରାଯାଇଥାଏ l ଥଣ୍ଡା ହେଲା ପରେ ଏହାକୁ ଗୋଲାକାର ମୋଦକ କରି ୩ଟି କୁଡୁଆ ରେ ରଖା ଯାଇଥାଏ l ଏହା ଉପରେ କର୍ପୂର ଦେଇ ତାଳପତ୍ର ଭୋଗେଇରେ ରଖି ଶ୍ରୀମନ୍ଦିର ଗାରଦ ରେ ଦାଖଲ କରାଯାଇଥାଏ l
ନୀଳାଦ୍ରି ମହୋଦୟ ଶାସ୍ତ୍ରରେ ମହାପ୍ରଭୁଙ୍କ ଅଣସର କାଳୀନ ଗୋପନ ସେବା ସଂପର୍କରେ ରହିଥିବା ମାର୍ଗ ଦର୍ଶକ ମୁତାବକ, ବିଶ୍ୱାବସୁ ତଥା ବିଦ୍ୟାପତି ବଂଶଧାରମାନେ ଶ୍ରୀଅଙ୍ଗ ସେବାରେ ଲାଗିବେ l ଏହି ସେବା ପାଇଁ ବିଭିନ୍ନ ପ୍ରକାରର ଚେରମୂଳିରୁ ପ୍ରସ୍ତୁତ ଔଷଧ ପ୍ରସ୍ତୁତ କରାଯାଇଛି l ସେଥିମଧ୍ୟରୁ ଗୁରୁତ୍ୱପୂର୍ଣ୍ଣ ହେଉଛି ବଡଓଡିଆ ମଠରୁ ଆସିଥିବା ଫୁଲୁରି ତେଲ ଓ ଶୁଦ୍ଧସୁଆର ସେବକମାନେ ଯୋଗାଇଥିବା ଓଷୁଅ ବା ଖଳି l

ଆର୍ୟୁବେଦ ଶାସ୍ତ୍ର ଉପରେ କାହିଁକି ଭରସା କରନ୍ତି ମହାପ୍ରଭୁ?

        ସ୍ନାନ ପୂର୍ଣ୍ଣମୀ ଦିନ ସର୍ବାଙ୍ଗ ସ୍ନାନ ପରେ ଅସୁସ୍ଥ ହୋଇ ପଡିଥିବା ମହାପ୍ରଭୁଙ୍କୁ ସମ୍ପୂର୍ଣ୍ଣ ସୁସ୍ଥ କରିବା ଲାଗି ଦଶମୂଳ ମହୌଷଧି ଲାଗି କରାଯାଏ l ପବିତ୍ର ଏକାଦଶୀ ତିଥି ଅବସରରେ ବିଳମ୍ୱିତ ରାତିରେ ଶ୍ରୀମନ୍ଦିର ବୈଦ୍ୟଙ୍କ ପରାମର୍ଶ କ୍ରମେ ପତି ମହାପାତ୍ର ସେବକ ଏହାକୁ ଲାଗି କରିବେ lଏହି ମହୌଷଧି ଶ୍ରୀ ଅଙ୍ଗରେ ଉପଚାର କରାଯିବା ପରେ ଜ୍ୱରରେ କମ୍ପୁଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ l ଏଥିସହିତ ମହାପ୍ରଭୁଙ୍କ ସର୍ବାଙ୍ଗ ଚନ୍ଦନ ଲାଗି ନୀତି ମଧ୍ୟ ଅନୁଷ୍ଠିତ ହେବ l ଶ୍ରୀଜୀଉମାନେ ରକ୍ତବସ୍ତ୍ର ପରିଧାନ କରିବେ ଓ ମହାପ୍ରଭୁଙ୍କୁ ତୁଳସୀ ଲାଗି ହେବେ l ସ୍ନାନ ପୂର୍ଣ୍ଣିମୀ ପରଠାରୁ ଅସୁସ୍ଥ ହୋଇପଡିବା ପରେ ମହାପ୍ରଭୁଙ୍କୁ ନୀତିରେ ତୁଳସୀ କିମ୍ୱା ଧଳା ଫୁଲ ବ୍ୟବହାର ହେଉନଥିଲା l 
        ଦଇତାପତି ସେବକଙ୍କ ଉଦ୍ୟମ କ୍ରମେ ମହାପ୍ରଭୁ କ୍ରମଶଃ ସୁସ୍ଥ ହୋଇ ଉଠନ୍ତି l  ପୂର୍ବରୁ ବଡ଼ ଓଡ଼ିଆ ମଠ ଫୁଲୁରି ତେଲ ଯୋଗାଇ ଦିଅନ୍ତି, ଯାହା ମହାପ୍ରଭୁଙ୍କ ଠାରେ ଲାଗି କରାଯାଏ l ସେହିଭଳି ଶୁଦ୍ଧ ସୁଆର ସେବକ ମହାପ୍ରଭୁଙ୍କୁ ଔଷଧ ଯୋଗାଇ ଦିଅନ୍ତି l  ଏହି କ୍ରମରେ ମହାପ୍ରଭୁ ଚକାବିଜେ ହେବା ପରେ ସୁସ୍ଥ ହେଉଥିବା ଲକ୍ଷଣ ପ୍ରକାଶ ପାଏ l ଏବଂ ପ୍ରଭୁଙ୍କ କବିରାଜ ତୁରନ୍ତ ଶ୍ରୀମନ୍ଦିରକୁ ଦଶମୂଳ ବା ମୋଦକ ବିଜେ କରାନ୍ତି l 
 ଆଷାଢ଼ କୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରର ଅନବସର ଗୃହରେ  ତିନୋଟି ମୁଗୁନି ପଥରର ଚକା ଅଣସର ପିଣ୍ଡିରେ ରଖାଯାଇ ବିଗ୍ରହଙ୍କୁ ଏକ ଚକା ଉପରେ ବିଜେ କରାଯାଏ l ପାରମ୍ପରିକ ରୀତି ମତେ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କୁ ଆରୋଗ୍ୟ ହେବା ନିମନ୍ତେ ରାଜବୈଦ୍ୟଙ୍କ ପ୍ରସ୍ତୁତ ଦଶମୂଳ ମୋଦକ ସେବନ କରିବାକୁ ଦିଆଯାଇଥାଏ l ରାଜବୈଦ୍ୟମାନେ ପ୍ରସ୍ତୁତ କରିଥିବା ଦଶମୂଳ ମୋଦକକୁ ପତି ମହାପାତ୍ର ସେବକ ଠାକୁରମାନଙ୍କୁ ଭୋଗ କରିବା କରିବା ପରେ ଅଣସର ଘରେ ଶୋଇରହିଥିବା ଜୀଉମାନେ ଉଠି ଚକା ଉପରକୁ ବିଜେ କରିଥାନ୍ତି l

ଉପସ୍ଥାପନା: ପଣ୍ଡିତ ସୌମ୍ୟ ରଂଜନ ପଣ୍ଡା

ଆଜି ମହାପ୍ରଭୁଙ୍କ ଚିତାଲାଗି।

ଶ୍ରୀମନ୍ଦିର ରେ ପାଳିତ ଅନେକ ଯାତ୍ରା , ଉପଯାତ୍ରା ତଥା ଉତ୍ସବାଦି ଓ ତ୍ରୟୋଦଶ ଯାତ୍ରା ବ୍ୟତୀତ ୫୦ରୁ ଉର୍ଦ୍ଧ ଉପଯାତ୍ରା , ଉତ୍ସବାଦି ମଧ୍ୟରେ ଚିତାଲାଗି ଅମାବାସ୍ୟା ଅନ୍ୟତମ ଅଟେ ।

“ଶ୍ରାବଣସ୍ୟ ଚ ଦର୍ଶେ ଅପିହ୍ୟରୁଣୋଦୟକାଳକେ।
ନୈବେଦ୍ୟାମଧିକଂ ଦଦ୍ୟାତ୍ ପ୍ରାତଃ ପୂଜନକାଳକେ।।
ସୁବର୍ଣ୍ଣରଚିତଂ ଦିବ୍ୟଂ ନାନାରତ୍ନସମୁଜ୍ଜ୍ଵଳମ୍।
ତିଳକଂ ତୁ କପାଳେଷୁ ଦେବାନାଂ ଭିଲ୍ଲଜାତୟଃ।।”

ଶ୍ରାବଣ ଅମାବାସ୍ୟା ଦିନ ଶ୍ରୀମନ୍ଦିର ରେ ଚିତା ଲାଗି ଅମାବାସ୍ୟା ନୀତି ପାଳିତ ହୋଇଥାଏ। ଏହି ଦିନ ମହାପ୍ରଭୁଙ୍କ ସ୍ଵର୍ଣଚିତା ଲାଗି ହୋଇଥାଏ।

ଏହି ଦିନ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ରତ୍ନସିଂହାସନ ରୁ ଶ୍ରୀଦେବୀ ଓ ଭୂଦେବୀ ଖଟଶେଯ ଘରକୁ ବିଜେ କରିଥାନ୍ତି। ଏହାପରେ ଶ୍ରୀଜୀଉମାନଙ୍କ ଝୋବା ମଇଲମ ହୋଇ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥାଏ। ଏହି ଦିନ ସାଗର ବିଜେ କରିଥିବା ଅମାବାସ୍ୟା ଠାକୁର ଶ୍ରୀମନ୍ଦିର କୁ ବାହୁଡା ବିଜେ କରିବା ପରେ ପତି ମହାପାତ୍ର , ବାଡ଼ଗ୍ରାହୀ ଦଇତା ମାନେ ରତ୍ନସିଂହାସନାଧିଷ୍ଠିତ ଶ୍ରୀଜୀଉ ଙ୍କର ଚିତାଲାଗି କାର୍ଯ୍ୟ କରିଥାନ୍ତି । ତିନୋଟି ସ୍ବର୍ଣ୍ଣ ଚିତା ଶ୍ରୀଜୀଉମାନଙ୍କ କପାଳର ଶୀର୍ଷ ଭାଗରେ ଓଷୁଅ ରେ ପାଟ ଡୋର ସାହାଯ୍ୟରେ ଏହାକୁ ଦୃଢ଼ ଭାବରେ ବନ୍ଧା ଯାଇଥାଏ।

ସୂଚନାଯୋଗ୍ୟ ଯେ ଏହି ରତ୍ନଖଚିତ ସ୍ବର୍ଣ୍ଣ ଚିତା କୁ ପୂର୍ବରୁ ଅର୍ଥାତ ସ୍ନାନପୂର୍ଣ୍ଣିମା ଦିନ ରାତ୍ରି ରେ ଶ୍ରୀଜୀଉମାନଙ୍କ ଶ୍ରୀକପାଳ ଦେଶରୁ ଓଲାଗି କରାଯାଇଥାଏ। ଏହି ଚିତାକୁ ଭଣ୍ଡାରରୁ ଅଣାଯାଇ ଶ୍ରୀମନ୍ଦିର ପରିସର ରେ ଦେଉଳକରଣ , ତଢ଼ାଉ କରଣ , ଶ୍ରୀମନ୍ଦିର ପ୍ରଶାସନ ର ପଦାଧିକାରୀ ଉପସ୍ଥିତି ରେ ବଣିଆ ସେବକ ଦ୍ୱାରା ସଫା କରାଯାଇଥାଏ ଓ ପୁନଃ ସଂସ୍ଥାପିତ ହୋଇଥାଏ। ଚିତାଲାଗି ନୀତି ଗୋପନୀୟ ହୋଇଥିବାରୁ ଏହି ସମୟରେ ଭକ୍ତ ଙ୍କୁ ଭିତରକାଠ ମଧ୍ୟକୁ ପ୍ରବେଶ କରିବାକୁ ବାରଣ କରାଯାଇଥାଏ।

ବଡ଼ ଠାକୁର ଶ୍ରୀ ବଳଭଦ୍ର ଙ୍କ ସ୍ୱର୍ଣ୍ଣ ଚିତା ମଝିରେ ଏକ ବଡ଼ ମର୍କତ ପଥର ରହିଛି । ଏହାର ଚାରି ପାର୍ଶ୍ୱରେ ପାଞ୍ଚୋଟି ବେଢ଼ରେ ଛୋଟ ଛୋଟ ମାଣିକ୍ୟ , ହୀରା , ମର୍କତ / ପାନ୍ନା ଏବଂ ନୀଳ ପଥର ଖଚିତ ହୋଇଛି।

ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ସ୍ଵର୍ଣ୍ଣଚିତା ମଝିରେ ହୀରା ରହିଛି । ଚିତାର ସାତୋଟି ବେଢ଼ ରେ ମାଣିକ୍ୟ , ହୀରା , ପାନ୍ନା ଏବଂ ଓପଲ ଖଞ୍ଜା ଯାଇଛି। ଶେଷ ଅର୍ଥାତ ସପ୍ତମ ବେଢ଼ରେ ଶୀର୍ଷରେ ବା ଚିତାର ଶୀର୍ଷରେ ପାନପତ୍ର ଅକୃତିର ଏକ ହୀରା ପଥର ରହିଛି । ଏହାକୁ ବ୍ରହ୍ମଜ୍ୟୋତି ହୀରା କୁହାଯାଏ।

ଦେବୀ ସୁଭଦ୍ରା ଙ୍କ ଚିତା ମଝିରେ ଏକ ବଡ଼ ମାଣିକ୍ୟ ପଥର ରହିଛି । ଚିତାର ତିନୋଟି ବେଢ଼ରେ ପାନ୍ନା , ମର୍କତ , ହୀରା ଓ ମାଣିକ୍ୟ ରହିଛି।

ଏହି ତିନୋଟି ରତ୍ନଖଚିତ ସୁବର୍ଣ୍ଣ ଚିତାଗୁଡିକୁ ମର୍କତ ଚିତା , ହୀରଚିତା ଏବଂ ପାନ୍ନା ଚିତା କୁହାଯାଇଥାଏ। ଚିତା ଲାଗି ନୀତି ସମ୍ପର୍ଣ୍ଣ ହେଲା ପରେ ମହାସ୍ନାନ ବଢ଼ି ଅନ୍ୟାନ୍ୟ ନୀତି ହୋଇଥାଏ। ଏହି ତୀଥିରେ କେତେକ ନିଯୋଗ ମାନଙ୍କ ପକ୍ଷରୁ ଆଳତି ଭୋଗ ମଧ୍ୟ ହୋଇଥାଏ। ଏଥିରେ ଛେନା ତାଡ଼ିଆ , ଫାଳ ସୋଲା ପ୍ରଭୃତି ଭୋଗ ହୋଇଥାଏ।

ଇତିହାସ ପୃଷ୍ଠା ରୁ ଜଣାଯାଏ କି ରକ୍ତବାହୁ ଆକ୍ରମଣ ସମୟରେ ଚତୁର୍ଦ୍ଧାମୂର୍ତ୍ତି ଙ୍କୁ ସୁବର୍ଣ୍ଣପୁର ରେ ପାତଳୀ କରି ରଖା ଯାଇଥିଲା । ଆଦି ଶଙ୍କରାଚାର୍ଯ୍ୟ ଙ୍କ ତତ୍ୱାବଧାନରେ ଯଯାତି କେଶରୀ ଶ୍ରୀଜୀଉମାନଙ୍କୁ ସେଠାରୁ ଆଣି ଶ୍ରୀମନ୍ଦିର ରେ ରତ୍ନବେଦୀରେ ପଟାଅଭିଷେକ କରାଇଥିଲେ ଏବଂ ଏହି ରତ୍ନଖଚିତ ସୁବର୍ଣ୍ଣ ଚିତା ଲାଗି କରାଇଥିଲେ । ସେହିଦିନ ଠାରୁ ଓଡ଼ିଶାର ପୁରପଲ୍ଲୀ ଶ୍ରାବଣ ମାସ ଅମାବାସ୍ୟା ଚିତା ଲାଗି ଅମାବାସ୍ୟା ନାମରେ ପରିଚିତ ହୋଇଛି।
ଏହି ଦିନ ପ୍ରତିହାରୀ ନିଯୋଗମାନଙ୍କ ପକ୍ଷରୁ ଆଳତି ଭୋଗ ହୋଇଥାଏ।

ଉପସ୍ଥାପନା: ଆମେ ଓଡ଼ିଆ,ଆମ ଜଗନ୍ନାଥ।

ବାଇଶି ପାହାଚକୁ ନେଇ ଜଣା ଅଜଣା କଥା।

ସିଂହଦ୍ୱାର ଗୁମୁଟରୁ ମନ୍ଦିର ଭିତରକୁ ପ୍ରବେଶ କରିବାକୁ ଅର୍ଥାତ କୁର୍ମବେଢ଼ା, ରୋଷଶାଳ, ଆନନ୍ଦ ବଜାର ଯିବା ପାଇଁ ଥିବା ବାଇଶି ଗୋଟି ପାହାଚ ବାଇଶି ପାହାଚ ନାମରେ ଜଣା । ବାଇଶି ପାହାଚ ବଉଳମାଳା ମାଙ୍କଡ଼ା ପଥରରେ ତିଆରି ହୋଇଛି ।

ପାହାଚଗୁଡ଼ିକର ଓସାର ୬ଫୁଟ, ଲମ୍ବ ୭୦ଫୁଟ ଓ ଉଚ୍ଚତା ୬ଇଞ୍ଚରୁ ୭ଇଞ୍ଚ ମଧ୍ୟରେ ହେବ । ବାଇଶି ପାହାଚରେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦିଆଯାଏ । ଭକ୍ତମାନେ ବର୍ଷସାରା ବାଇଶି ପାହାଚ ବାଟଦେଇ ଶ୍ରୀଜୀଉମାନଙ୍କୁ ଦର୍ଶନ କରିବାକୁ ଯାଉଥିବା ବେଳେ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ଶ୍ରୀଜୀଉମାନେ ଶ୍ରୀମନ୍ଦିରର ରତ୍ନସିଂହାସନ ଛାଡ଼ି ବାଇଶି ପାହାଚ ବାଟ ଦେଇ ବଡ଼ଦାଣ୍ଡରେ ଥିବା ରଥକୁ ଆସିଥାନ୍ତି ।

ବାଇଶି ପାହାଚର ଅଧିଷ୍ଠାତ୍ରୀ ଦେବୀଗଣ ହେଲେ ମାୟା, ଚେତନା, ବୁଦ୍ଧି, ନିଦ୍ରା, କ୍ଷୁଧା, ଛାୟା, ତୃଷ୍ଣା, କ୍ଷାନ୍ତି, ଜାତି, ଲଜ୍ଜା, ଶାନ୍ତି, କାନ୍ତି, ବୃତ୍ତି, ସ୍ମୃତି, ଦୟା, ତୁଷ୍ଟି, ବିକ୍ରୀ, ମାତୃ, ଭ୍ରାନ୍ତି ଓ ପ୍ରଜ୍ଞା । ବିଶ୍ୱାସ ଅଛି ଯେ, ପ୍ରତ୍ୟେକ ମଣିଷ ୨୨ ପ୍ରକାର ପାପରୁ ମୋକ୍ଷ ନିମନ୍ତେ ୨୨ ପାହାଚ ଅତିକ୍ରମ କରିବା ଆବଶ୍ୟକ । ୨୨ ପାହାଚ ଯୋଗ ବିଦ୍ୟା ବର୍ଣ୍ଣିତ ୨୨ଟି ସ୍ତରର ପ୍ରତୀକ । ବାଇଶି ପାହାଚରେ ୩ୟ ସୋପାନରେ ରହିଛି ଜମଶିଳା । ଶ୍ରଦ୍ଧାଳୁମାନେ ଏହି ଶିଳାକୁ ସ୍ପର୍ଶ କରି ଜଗନ୍ନାଥଙ୍କୁ ଦର୍ଶନ କଲେ ଅକାଳ ମୃତ୍ୟୁ ହୁଏ ନାହିଁ ଓ ସମସ୍ତ ପାପ ନାଶ ହୋଇ ଜୀବ ବୈକୁଣ୍ଠଗାମୀ ହୁଏ ବୋଲି ଲୋକ ବିଶ୍ୱାସ ରହିଛି ।

ଉପସ୍ଥାପନା- ମାନସ ରଞ୍ଜନ ସାହୁ